14
 1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; 
ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ। 
 2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; 
ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ। 
 3 ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; 
ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ। 
 4 ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; 
ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ। 
 5 ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; 
କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ। 
 6 ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; 
ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ। 
 7 ମୂର୍ଖ ନିକଟକୁ ଗଲେ, 
ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ। 
 8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; 
ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର। 
 9 ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; 
ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ। 
 10 ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; 
ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ। 
 11 ଦୁଷ୍ଟମାନଙ୍କ ଗୃହ ନିପାତ ହେବ; 
ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ। 
 12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; 
ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ। 
 13 ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; 
ପୁଣି, ଆନନ୍ଦର ଶେଷ ଶୋକ। 
 14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; 
ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ। 
 15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; 
ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ। 
 16 ଜ୍ଞାନୀ ଲୋକ ସତର୍କ ଥାଏ* ସତର୍କ ଥାଏ ସଦାପ୍ରଭୁଙ୍କୁ ଭୟ କରେ ଓ ମନ୍ଦକୁ ଛାଡ଼ିଦିଏ; 
ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ। 
 17 ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; 
ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର। 
 18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; 
ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି। 
 19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ 
ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି। 
 20 ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; 
ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି। 
 21 ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; 
ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ। 
 22 ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? 
ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ। 
 23 ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; 
ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ। 
 24 ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; 
ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା। 
 25 ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; 
ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ। 
 26 ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; 
ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ। 
 27 ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ 
ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ। 
 28 ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; 
ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ। 
 29 ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; 
ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ। 
 30 ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; 
ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ। 
 31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; 
ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ। 
 32 ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, 
ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ। 
 33 ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; 
ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ। 
 34 ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; 
ମାତ୍ର ପାପ ନରଗଣର ଅପମାନ। 
 35 ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; 
ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।