9
ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି 
ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ। 
 1 ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; 
ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି। 
 2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; 
ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 
 3 ମୋହର ଶତ୍ରୁମାନେ ଫେରିଯିବା ବେଳେ 
ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି। 
 4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; 
ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ। 
 5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ 
ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, 
ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। 
 6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, 
ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; 
ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। 
 7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; 
ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି। 
 8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, 
ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ। 
 9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। 
ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; 
 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; 
କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। 
 11 ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; 
ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। 
 12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; 
ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। 
 13 ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, 
ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। 
 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। 
ସିୟୋନ କନ୍ୟାର* ସିୟୋନ କନ୍ୟାର ଅର୍ଥାତ୍ ଯିରୂଶାଲମ ଲୋକମାନଙ୍କ ନଗର-ଦ୍ୱାରରେ 
ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। 
 15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; 
ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। 
 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; 
ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍, 
ସେଲା]
  17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, 
ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। 
 18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା 
ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। 
 19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; 
ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। 
 20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; 
ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। 
[ସେଲା]