25
ଚାଳନା ଓ ସୁରକ୍ଷା ପାଇଁ ପ୍ରାର୍ଥନା 
ଦାଉଦଙ୍କର ଗୀତ। 
 1 ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ। 
 2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, 
ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; 
ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ। 
 3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, 
ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; 
ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। 
 4 ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; 
ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। 
 5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; 
କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; 
ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। 
 6 ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। 
କାରଣ ତାହା ଅନାଦିକାଳୀନ। 
 7 ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; 
ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। 
 8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; 
ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। 
 9 ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ 
ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ। 
 10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, 
ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ। 
 11 ହେ ସଦାପ୍ରଭୋ, ଆପଣା ନାମ ସକାଶୁ 
ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। 
 12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? 
ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ। 
 13 ତାହାର ପ୍ରାଣ କୁଶଳରେ ବାସ କରିବ 
ଓ ତାହାର ବଂଶ ଦେଶ ଅଧିକାର କରିବେ। 
 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; 
ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ। 
 15 ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; 
କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ। 
 16 ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; 
କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ। 
 17 ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; 
ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର। 
 18 ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; 
ପୁଣି, ମୋହର ପାପସବୁ କ୍ଷମା କର। 
 19 ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; 
ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି। 
 20 ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; 
ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। 
 21 ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, 
କାରଣ ମୁଁ ତୁମ୍ଭର ଅନୁସରଣ କରେ। 
 22 ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ 
ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।