32
ପାପ ସ୍ୱୀକାର ଓ କ୍ଷମା 
ଦାଉଦଙ୍କ ଗୀତ। 
 1 ଯାହାର ଅପରାଧ କ୍ଷମା, 
ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। 
 2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି 
ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। 
 3 ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ 
କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା। 
 4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; 
ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। 
[ସେଲା]
  5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି 
ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; 
ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” 
ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। 
[ସେଲା]
  6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; 
ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। 
 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; 
ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। 
[ସେଲା]
  8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; 
ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। 
 9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; 
ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, 
ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ। 
 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; 
ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। 
 11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; 
ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।