39
ଅନ୍ତିମକାଳର ପରିଚୟ ଦିଅ 
ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ। 
 1 ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ 
ଆପଣା ପଥ ବିଷୟରେ ସାବଧାନ ହେବି; 
ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ 
ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।” 
 2 ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; 
ତହିଁରେ ମୋହର ଦୁଃଖ ପ୍ରବଳ ହେଲା; 
 3 ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; 
ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; 
ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି; 
 4 “ହେ ସଦାପ୍ରଭୋ, ମୋହର ଅନ୍ତିମକାଳ 
ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; 
ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। 
 5 ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; 
ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; 
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ 
ହିଁ ନିତାନ୍ତ ଅସାର। 
[ସେଲା]
  6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; 
ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; 
ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ। 
 7 ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? 
ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। 
 8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; 
ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। 
 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; 
କାରଣ ତୁମ୍ଭେ ତାହା କଲ। 
 10 ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; 
ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି। 
 11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା 
ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; 
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। 
[ସେଲା] 
  12 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ 
ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; 
ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; 
କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, 
ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ। 
 13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, 
ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”