40
ସ୍ତୁତିଗାନ 
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 
 1 ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; 
ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ। 
 2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା 
କାଦୁଅରୁ ଉଠାଇ ଆଣିଲେ 
ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର 
ପାଦଗତି ଦୃଢ଼ କଲେ। 
 3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ 
ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; 
ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, 
ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। 
 4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, 
ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର 
କରେ ନାହିଁ, ସେ ଧନ୍ୟ। 
 5 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ 
ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ 
ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; 
ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ 
ଗଣନା କରାଯାଇ ନ ପାରେ। 
 6 ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; 
ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; 
ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। 
 7 ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; 
ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। 
 8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ 
କରିବାକୁ ମୋହର ସନ୍ତୋଷ; 
ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।” 
 9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; 
ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ 
ସଦାପ୍ରଭୋ, ତୁମ୍ଭେ ଜାଣୁଅଛ। 
 10 ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; 
ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; 
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ। 
 11 ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟା 
ରୁଦ୍ଧ କର ନାହିଁ; 
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ 
ନିରନ୍ତର ରକ୍ଷା କରୁ। 
 12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, 
ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, 
ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; 
ତାହାସବୁ ମୋʼ ମସ୍ତକର କେଶରୁ ଅଧିକ 
ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି। 
 13 ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; 
ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। 
 14 ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ 
ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; 
ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ 
ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। 
 15 ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ 
ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ। 
 16 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; 
ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, 
“ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।” 
 17 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; 
ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; 
ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; 
ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।