49
ଧନ ଉପରେ ଆସ୍ଥା ମୂର୍ଖତା 
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। 
 1 ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, 
 2 ନୀଚ ଓ ଉଚ୍ଚ, 
ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର। 
 3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ 
ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ। 
 4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; 
ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି। 
 5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ 
ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି? 
 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର 
ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; 
 7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ 
ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ 
ମୁକ୍ତ କରି ନ ପାରେ। 
 8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ 
ଦେଇ ନ ପାରେ; 
 9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ 
ଓ ଅନନ୍ତକାଳ ଅସାଧ୍ୟ। 
 10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, 
ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, 
ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି। 
 11 ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, 
ଏହା ସେମାନଙ୍କର ଆନ୍ତରିକ ବିଚାର; 
ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି। 
 12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; 
ସେ ବିନାଶ୍ୟ ପଶୁ ତୁଲ୍ୟ। 
 13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; 
ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। 
[ସେଲା]
  14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; 
ମୃତ୍ୟୁୁ ସେମାନଙ୍କର ପାଳକ ହେବ; 
ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; 
ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର 
ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। 
 15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; 
କାରଣ ସେ ମୋତେ ଗ୍ରହଣ କରିବେ। 
[ସେଲା]
  16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ* ଐଶ୍ୱର୍ଯ୍ୟ କିମ୍ବା ଧନ ଓ ସମ୍ପତ୍ତି  
ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; 
 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; 
ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ। 
 18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, 
ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; 
 19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; 
ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ। 
 20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, 
ସେ ବିନାଶ୍ୟ ପଶୁ ତୁଲ୍ୟ।