51
କ୍ଷମା ପାଇଁ ପ୍ରାର୍ଥନା 
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। 
 1 ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; 
ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। 
 2 ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର 
ଓ ମୋʼ ପାପରୁ ମୋତେ ଶୁଚି କର। 
 3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି 
ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। 
 4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, 
ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; 
ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର 
କରିବା ବେଳେ ନିର୍ଦ୍ଦୋଷ ହେବ। 
 5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି 
ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା। 
 6 ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; 
ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ। 
 7 ଏସୋବ ଦେଇ ମୋତେ ନିର୍ମଳ କର,* ଏସୋବ ଦେଇ ମୋତେ ନିର୍ମଳ କର, ଅର୍ଥାତ୍ ମୋʼ ର ପାପରୁ ମୋତେ ନିର୍ମଳ କର ତହିଁରେ ମୁଁ ଶୁଚି ହେବି; 
ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି। 
 8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; 
ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ। 
 9 ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର 
ଓ ମୋʼ ଅପରାଧସବୁ ମାର୍ଜନା କର। 
 10 ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ 
ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। 
 11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ 
ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ। 
 12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ 
ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। 
 13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି 
ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ। 
 14 ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, 
ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; 
ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ। 
 15 ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, 
ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ। 
 16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; 
ହେଲେ ମୁଁ ତାହା ଦିଅନ୍ତି; 
ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ। 
 17 ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, 
ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ। 
 18 ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; 
ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର। 
 19 ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ 
ଆହୁତିରେ ସନ୍ତୁଷ୍ଟ ହେବ; 
ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।