52
ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ 
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକ୍ର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। 
 1 ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ? 
 2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। 
ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର 
ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। 
 3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା 
ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। 
[ସେଲା]
  4 ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ 
କଥା ଭଲ ପାଉଅଛ। 
 5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, 
ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ 
ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। 
[ସେଲା]
  6 ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ 
ଓ ତାହା ପ୍ରତି ଉପହାସ କରି କହିବେ, 
 7 “ଦେଖ, ଏହି ଲୋକ ପରମେଶ୍ୱରଙ୍କୁ 
ଆପଣାର ବଳ ସ୍ୱରୂପ କଲା ନାହିଁ; 
ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। 
ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।” 
 8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। 
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। 
 9 ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; 
ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର 
ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।