57
ସାହାଯ୍ୟ ପାଇଁ ପ୍ରାର୍ଥନା 
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। 
 1 ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; 
କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; 
ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। 
 2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, 
ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। 
 3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, 
ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; 
[ସେଲା]
 ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। 
 4 ମୁଁ ସିଂହମାନଙ୍କ ମଧ୍ୟରେ ଅଛି; 
ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, 
ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, 
ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ। 
 5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; 
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। 
 6 ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; 
ମୋʼ ପ୍ରାଣ ଅବନତ ହୋଇଅଛି; 
ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; 
ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। 
[ସେଲା]
  7 ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; 
ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି। 
 8 ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; 
ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି। 
 9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; 
ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। 
 10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ 
ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ। 
 11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; 
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।