62
ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ 
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ର ରୀତି ଅନୁସାରେ ଦାଉଦଙ୍କର ଗୀତ। 
 1 ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; 
ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। 
 2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ; 
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। 
 3 ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ 
ଜଣେ ମନୁଷ୍ୟକୁ ବଧ କରିବା ପାଇଁ 
ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ? 
 4 ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; 
ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; 
ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। 
[ସେଲା]
  5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; 
କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। 
 6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; 
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। 
 7 ମୋହର ପରିତ୍ରାଣ ଓ ମୋହର ଗୌରବ 
ପରମେଶ୍ୱରଙ୍କଠାରେ ଅଛି; 
ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି। 
 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; 
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; 
ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। 
[ସେଲା]
  9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; 
ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ। 
 10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; 
ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ। 
 11 ପରମେଶ୍ୱର ଥରେ କହିଅଛନ୍ତି, 
ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, 
ପରାକ୍ରମ ପରମେଶ୍ୱରଙ୍କର ଅଟଇ। 
 12 ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; 
କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।