66
ପ୍ରଶଂସା ଓ ଧନ୍ୟବାଦର ଗୀତ 
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। 
 1 ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 
 2 ତାହାଙ୍କ ନାମର ମହିମା କୀର୍ତ୍ତନ କର; 
ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। 
 3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! 
ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ। 
 4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ 
ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; 
ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।” 
 5 ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; 
ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। 
 6 ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; 
ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; 
ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ। 
 7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; 
ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; 
ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। 
[ସେଲା]
  8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର 
ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; 
 9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି 
ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ। 
 10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; 
ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ। 
 11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, 
ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ। 
 12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; 
ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; 
ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ। 
 13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, 
ମୁଁ ସଙ୍କଟରେ ଥିଲା ବେଳେ 
 14 ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି 
ଓ ମୋʼ ମୁଖ ଯାହା କହିଅଛି, 
ମୋହର ସେହି ସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି। 
 15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ 
ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; 
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। 
[ସେଲା]
  16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, 
ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। 
 17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି 
ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। 
 18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, 
ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ; 
 19 ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, 
ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି। 
 20 ପରମେଶ୍ୱର ଧନ୍ୟ ହେଉନ୍ତୁ, 
ସେ ମୋହର ପ୍ରାର୍ଥନା କିଅବା 
ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି।