75
ପରମେଶ୍ୱର ବିଚାରକର୍ତ୍ତା 
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ୱରରେ ଆସଫର ଗୀତ। 
 1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; 
ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; 
ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି। 
 2 ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା। 
 3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; 
ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। 
[ସେଲା]
  4 ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” 
ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ; 
 5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; 
ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।” 
 6 କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, 
କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ। 
 7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; 
ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି। 
 8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି 
ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; 
ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; 
ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ। 
 9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି, 
ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି। 
 10 ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। 
ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।