83
ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା 
ଗୀତ, ଆସଫର ଗୀତ। 
 1 ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; 
ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ। 
 2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି 
ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି। 
 3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି 
ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି। 
 4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି 
ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ 
ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।” 
 5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି; 
 6 ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ, 
 7 ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ 
ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି। 
 8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; 
ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। 
[ସେଲା]
  9 ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା 
ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। 
 10 ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; 
ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ। 
 11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, 
ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର; 
 12 ସେମାନେ କହିଲେ, “ଆସ, ଆମ୍ଭେମାନେ 
ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।” 
 13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ 
ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର। 
 14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ 
ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ; 
 15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ 
ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର। 
 16 ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, 
ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର; 
 17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; 
ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ; 
 18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, 
କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।