97
ସଦାପ୍ରଭୁ ହିଁ ସର୍ବୋପରିସ୍ଥ ଶାସନକର୍ତ୍ତା 
 1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; 
ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 
 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; 
ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 
 3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ 
ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ। 
 4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; 
ପୃଥିବୀ ଦେଖି କମ୍ପିଲା। 
 5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, 
ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। 
 6 ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ 
ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 
 7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ 
ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; 
ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। 
 8 ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା 
ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ। 
 9 କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; 
ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ। 
 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; 
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। 
ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 
 11 ଧାର୍ମିକମାନଙ୍କ ପାଇଁ ଦୀପ୍ତି 
ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। 
 12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; 
ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।