125
ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା 
ଆରୋହଣ ଗୀତ। 
 1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, 
ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। 
 2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, 
ସେପରି ଆଜିଠାରୁ ସଦାକାଳ 
ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। 
 3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, 
ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। 
 4 ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ 
ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। 
 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, 
ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। 
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।