135
ସ୍ତୁତି ବନ୍ଦନା 
 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। 
ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; 
ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର। 
 2 ସଦାପ୍ରଭୁଙ୍କ ଗୃହରେ, 
ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ 
 3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; 
ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର। 
 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ 
ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। 
 5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ 
ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ। 
 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ 
ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି। 
 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; 
ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; 
ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। 
 8 ସେ ମିସରର ପ୍ରଥମଜାତ ମନୁଷ୍ୟ 
ଓ ପଶୁ ଉଭୟକୁ ସଂହାର କଲେ। 
 9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ 
ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। 
 10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, 
ପରାକ୍ରାନ୍ତ ରାଜାମାନଙ୍କୁ, 
 11 ଇମୋରୀୟମାନଙ୍କ ରାଜା ସୀହୋନକୁ 
ଓ ବାଶନର ରାଜା ଓଗ୍କୁ, 
ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ। 
 12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, 
ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ। 
 13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; 
ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ। 
 14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ 
ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ। 
 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, 
ମନୁଷ୍ୟର ହସ୍ତକୃତ କର୍ମ ଅଟେ। 
 16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, 
ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; 
 17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; 
କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। 
 18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ 
ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ। 
 19 ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; 
ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; 
 20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 
ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 
 21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। 
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।