140
ଆଶ୍ରୟ ଭିକ୍ଷା 
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 
 1 ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; 
ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର। 
 2 ସେମାନେ ମନେ ମନେ କୁକଳ୍ପନା କରନ୍ତି; 
ସେମାନେ ଯୁଦ୍ଧ କରିବାକୁ ପ୍ରତିଦିନ ଏକତ୍ରିତ ହୁଅନ୍ତି। 
 3 ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; 
ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। 
[ସେଲା]
  4 ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; 
ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; 
ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। 
 5 ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। 
ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; 
ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। 
[ସେଲା]
  6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; 
ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର। 
 7 ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, 
ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ। 
 8 ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; 
ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। 
[ସେଲା]
  9 ଯେଉଁମାନେ ମୋତେ ଘେରିଅଛନ୍ତି, 
ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। 
 10 ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। 
ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; 
ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ। 
 11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; 
ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। 
 12 ସଦାପ୍ରଭୁ ଦୁଃଖୀର ବିବାଦ 
ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ। 
 13 ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; 
ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।