148
ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ 
 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। 
ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; 
ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। 
 2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; 
ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 
 3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 
ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 
 4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, 
ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 
 5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; 
କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। 
 6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; 
ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। 
 7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, 
ହେ ତିମିଙ୍ଗିଳ ଓ ସକଳ ବାରିଧି; 
 8 ଅଗ୍ନି* ଅଗ୍ନି ବିଜୁଳି ଓ ଶିଳା, ହିମ ଓ ବାଷ୍ପ; 
ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; 
 9 ପର୍ବତ ଓ ସକଳ ଉପପର୍ବତ; 
ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; 
 10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; 
ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ; 
 11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; 
ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। 
 12 ଯୁବକ ଓ ଯୁବତୀମାନେ; 
ବୃଦ୍ଧ ଓ ବାଳକମାନେ; 
 13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; 
କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; 
ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। 
 14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, 
ତାହା ତାହାଙ୍କ ସଦ୍ଭକ୍ତମାନଙ୍କର 
ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। 
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।