29
ଆୟୁବଙ୍କ ଶେଷ ଅଭିଯୋଗ 
 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, 
 2 “ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, 
ସେପରି ଯେବେ ଥାʼନ୍ତି; 
 3 ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା 
ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି; 
 4 ମୁଁ ଉତ୍ତମ ଅବସ୍ଥାରେ ଥିଲି, 
ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା; 
 5 ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ 
ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ; 
 6 ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା 
ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା। 
 7 ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, 
 8 ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ 
ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ। 
 9 ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ 
ଓ ଆପଣା ଆପଣା ମୁଖରେ ହାତ ଦେଲେ; 
 10 କୁଳୀନମାନଙ୍କ ରବ ନିରସ୍ତ ହେଲା 
ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା। 
 11 କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା 
ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା; 
 12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, 
ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି। 
 13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା 
ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି। 
 14 ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; 
ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା। 
 15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ 
ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି। 
 16 ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି 
ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି। 
 17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି 
ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି। 
 18 ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି 
ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; 
 19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି 
ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ; 
 20 ମୋହର ଗୌରବ ମୋʼ ଠାରେ ସତେଜ ଥାଏ 
ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ। 
 21 ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ 
ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ। 
 22 ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; 
ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା। 
 23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ 
ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ। 
 24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ 
ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ। 
 25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି 
ଓ ସୈନ୍ୟଦଳ ମଧ୍ୟରେ ରାଜା ପରି 
ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।