22
ଦାଉଦଙ୍କ ବିଜୟ ଗୀତ 
 1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;  2 ସେ କହିଲେ, 
“ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା, 
 3 ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। 
ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; 
ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ। 
 4 ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; 
ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି। 
 5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, 
ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା। 
 6 ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, 
ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା। 
 7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, 
ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; 
ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ 
ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା। 
 8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, 
ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ 
ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ। 
 9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା 
ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; 
ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। 
 10 ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ 
ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା। 
 11 ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; 
ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ। 
 12 ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି 
ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ। 
 13 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ 
ଆଗ୍ନେୟ-ଅଙ୍ଗାର ପତିତ ହେଲା। 
 14 ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ 
ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ। 
 15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; 
ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ। 
 16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ 
ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ 
ସମୁଦ୍ରର ଗର୍ଭ ପ୍ରକାଶ ପାଇଲା 
ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା। 
 17 ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; 
ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ। 
 18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; 
କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ। 
 19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; 
ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ। 
 20 ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; 
ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ। 
 21 ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; 
ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ। 
 22 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି 
ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ। 
 23 ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା 
ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ। 
 24 ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି 
ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି। 
 25 ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ 
ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ। 
 26 ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ 
ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ। 
 27 ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ 
ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ। 
 28 ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; 
ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ। 
 29 ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; 
ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ। 
 30 କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; 
ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ। 
 31 ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; 
ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; 
ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ। 
 32 ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? 
ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ? 
 33 ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; 
ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି। 
 34 ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି 
ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି। 
 35 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; 
ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ। 
 36 ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; 
ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି। 
 37 ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ 
ଓ ମୋହର ଗୋଇଠି ଖସି ଯାଇ ନାହିଁ। 
 38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି 
ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ। 
 39 ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; 
ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି। 
 40 ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; 
ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ। 
 41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, 
ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି। 
 42 ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; 
ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ। 
 43 ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, 
ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି। 
 44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; 
ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; 
ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ। 
 45 ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; 
ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ। 
 46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ। 
 47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ 
ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ। 
 48 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି 
ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି। 
 49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; 
ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; 
ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ। 
 50 ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି 
ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି। 
 51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; 
ସେ ଆପଣା ଅଭିଷିକ୍ତ ପ୍ରତି, 
ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”