10
ଆୟୁବ - ପରମେଶ୍ୱରଙ୍କୁ ବିନତି 
 1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, 
ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; 
ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି। 
 2 ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; 
କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ। 
 3 ତୁମ୍ଭେ ଯେ ଉପଦ୍ରବ କରିବ, 
ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ 
ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ? 
 4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? 
ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ? 
 5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, 
ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ 
 6 ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ 
ଓ ମୋହର ପାପ ଅନ୍ଵେଷଣ କରୁଅଛ? 
 7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ 
ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ। 
 8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; 
ତଥାପି ତୁମ୍ଭେ ମୋତେ ସଂହାର କରୁଅଛ। 
 9 ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ 
ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ? 
 10 ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ 
ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ? 
 11 ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, 
ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ। 
 12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ 
ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି। 
 13 ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; 
ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର; 
 14 ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ 
ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ। 
 15 ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, 
ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ 
ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ। 
 16 ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ 
ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ। 
 17 ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ 
ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; 
ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ। 
 18 ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? 
ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା, 
 19 ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; 
ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି। 
 20 ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ, 
 21 ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, 
ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି; 
 22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; 
ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ 
ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”