28
ଆୟୁବ - ଜ୍ଞାନର ଅବସ୍ଥିତି କେଉଁଠାରେ? 
 1 ନିଶ୍ଚୟ ରୂପାର ଆକର ଅଛି 
ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି। 
 2 ମୃତ୍ତିକାରୁ ଲୁହା କଢ଼ାଯାଏ 
ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ। 
 3 ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ 
ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର 
ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ। 
 4 ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; 
ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; 
ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି। 
 5 ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ 
ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ। 
 6 ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ 
ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ। 
 7 କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, 
କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ; 
 8 ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, 
ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ। 
 9 ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; 
ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ। 
 10 ସେ ଶୈଳ ମଧ୍ୟରେ ନାଳ କାଟେ 
ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ। 
 11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; 
ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ। 
 12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? 
ଓ ବୁଦ୍ଧିର ସ୍ଥାନ କାହିଁ? 
 13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; 
କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ। 
 14 ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ 
ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’ 
 15 ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, 
କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ। 
 16 ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, 
ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ। 
 17 ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; 
କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ। 
 18 ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; 
କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ। 
 19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, 
କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ। 
 20 ତେବେ ଜ୍ଞାନ କେଉଁଠାରୁ ଆସେ? 
ଓ ବୁଦ୍ଧିର ସ୍ଥାନ କାହିଁ? 
 21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ 
ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି। 
 22 ବିନାଶ ଓ ମୃତ୍ୟୁୁ କହନ୍ତି, 
‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’ 
 23 ପରମେଶ୍ୱର ତହିଁର ପଥ ଜାଣନ୍ତି 
ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି। 
 24 କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ 
ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି 
 25 ବାୟୁର ଓଜନ ନିରୂପଣ କରନ୍ତି 
ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି। 
 26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ 
ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ; 
 27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; 
ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ। 
 28 ପୁଣି, ସେ ମନୁଷ୍ୟକୁ କହିଲେ, 
‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ 
ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’ ”