11
ସଦାପ୍ରଭୁଙ୍କଠାରେ ନିର୍ଭର 
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 
 1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; 
ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, 
“ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?” 
 2 କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ 
ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, 
ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। 
 3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, 
ତେବେ ଧାର୍ମିକ କʼଣ କରି ପାରିବ? 
 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, 
ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, 
ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ। 
 5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; 
ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। 
 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; 
ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ। 
 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; 
ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।