ଶେଷକାଳର ଅଧାର୍ମିକତା
୧ କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; ୨ କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, ୩ ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, ୪ ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; ୫ ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ । ୬ କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; ୭ ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ । ୮ ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି । ୯ କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ (ଯନ୍ନିସ୍ ଓ ଯମ୍ବ୍ରୀସ୍ ) ଜଣଙ୍କର ମୁର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ ।
ସମସ୍ତ ଶାସ୍ତ୍ର ଈଶ୍ୱର ନିଶ୍ୱସିତ
୧୦ କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ । ୧୧ ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ । ୧୨ ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ | ୧୩ କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ । ୧୪ କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ; ୧୫ ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ । ୧୬ ସମସ୍ତ ଶାସ୍ତ୍ର ଈଶ୍ୱରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, ୧୭ ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।