୧ ସଦାପ୍ରଭୁ କହନ୍ତି, “ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ। ୨ ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।” ୩ ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।
ପାପ ଓ ବିଶ୍ୱାସଘାତକତା
୪ ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି,
“ମନୁଷ୍ୟ ପଡ଼ିଲେ, କ’ଣ ଆଉ ଉଠେ ନାହିଁ ?
ବିପଥରେ ଗଲେ, କ’ଣ ଆଉ ଫେରେ ନାହିଁ ?”
୫ ତେବେ ଯିରୂଶାଲମସ୍ଥ ଏହି ଲୋକମାନେ
ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି ?
ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
୬ ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ;
ହାୟ ହାୟ, ମୁଁ କ’ଣ କରିଅଛି ! ଏହା କହି
କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;
ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ,
ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।
୭ ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ;
ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି;
ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
୮ ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି,
ଏହି କଥା ତୁମ୍ଭେମାନେ କିପରି କହୁଅଛ ?
ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
୯ ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି;
ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି;
ଆଉ, ସେମାନଙ୍କର ଜ୍ଞାନ କିପ୍ରକାର ?
୧୦ ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ
ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା;
କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ,
ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
୧୧ ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି
ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
୧୨ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ’ଣ ଲଜ୍ଜିତ ହେଲେ ?
ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ;
ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ;
ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”
୧୩ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା;
ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ;
ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”
୧୪ ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ,
ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ;
କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି
ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
୧୫ ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ;
ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !
୧୬ ଦାନ୍‍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି;
ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି;
କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର
ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
୧୭ “ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା,
ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
ଲୋକମାନଙ୍କ ପାଇଁ ଯିରିମୀୟଙ୍କ ବିଳାପ
୧୮ ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରି ପାରନ୍ତି !
ମୋର ମଧ୍ୟରେ ମୋ’ ହୃଦୟ ମୂର୍ଚ୍ଛିତ।
୧୯ ଦେଖ, ଅତି ଦୂର ଦେଶରୁ ମୋ’ ଲୋକଙ୍କ କନ୍ୟାର ଆର୍ତ୍ତନାଦ;
ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି ? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି ?
ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା
ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି ?
୨୦ ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା,
ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।
୨୧ ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ;
ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
୨୨ ଗିଲୀୟଦରେ କ’ଣ ଔଷଧ ନାହିଁ ? ସେଠାରେ କ’ଣ ବୈଦ୍ୟ ନାହାନ୍ତି ?
ତେବେ ମୋ’ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ ?