The Gospel according to
John
ଯୋହନ ଲିଖିତ ସୁସମାଚାର
ଜୀବନ୍ତ, ଦେହବନ୍ତ ବାକ୍ୟ
୧ ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ । ୨ ସେ ଆଦ୍ୟରେ ଈଶ୍ୱରଙ୍କ ସହିତ ଥିଲେ । ୩ ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ । ୪ ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ । ୫ ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ । ୬ ଈଶ୍ୱରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ । ୭ ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ । ୮ ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ । ୯ ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ । ୧୦ ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ । ୧୧ ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ । ୧୨ ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; ୧୩ ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ । ୧୪ ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ । ୧୫ ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି । ୧୬ ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ । ୧୭ କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା । ୧୮ କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।
ବାପ୍ତିଜକ ଯୋହନଙ୍କ ସାକ୍ଷ୍ୟ
(ମାଥିଉ 3:1-12; ମାର୍କ 1:1-8; ଲୂକ 3:1-18)
୧୯ ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ, ୨୦ ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ । ୨୧ ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା । ୨୨ ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି ? ୨୩ ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର । ୨୪ ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ । ୨୫ ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି? ୨୬ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ; ୨୭ ସେ ମୋ' ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ । ୨୮ ଯର୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହି ସବୁ ଘଟିଲା ।
ଈଶ୍ୱରଙ୍କ ମେଷଶାବକ
୨୯ ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି । ୩୦ ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି । ୩୧ ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି । ୩୨ ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ । ୩୩ ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି । ୩୪ ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ୱରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ
୩୫ ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ; ୩୬ ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ । ୩୭ ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ । ୩୮ ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କ'ଣ ଖୋଜୁଅଛ ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି ? ୩୯ ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା । ୪୦ ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ । ୪୧ ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ) ଦେଖା ପାଇଅଛୁ । ୪୨ ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।
ଫିଲିପ୍ପ ଓ ନିଥନିୟେଲଙ୍କୁ ଆହ୍ୱାନ
୪୩ ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର । ୪୪ ଫିଲିପ୍ପ ବେଥ୍‍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା । ୪୫ ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ । ୪୬ ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇ ପାରେ ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ । ୪୭ ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ । ୪୮ ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି । ୪୯ ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ୱରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା । ୫୦ ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍ ମହତ‍୍ ବିଷୟ ଦେଖିବ । ୫୧ ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ୱରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।