୩୧
ଆୟୁବଙ୍କ ଶେଷ ବିନତି
୧ ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି ? ୨ କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ ? ୩ ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ ? ୪ ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ ? ୫ ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ; ୬ ତେବେ ମୁଁ ଧର୍ମ ନିକ୍ତିରେ ତୌଲା ଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ। ୭ ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋ’ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋ’ ହସ୍ତରେ କୌଣସି କଳଙ୍କ ଲାଗିଥାଏ; ୮ ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋ’ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ। ୯ ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ; ୧୦ ତେବେ ମୋ’ ଭାର୍ଯ୍ୟା ଅନ୍ୟର ଚକି ପେଷୁ* ଅନ୍ୟର ଚକି ପେଷୁ ଅର୍ଥାତ୍ ଅନ୍ୟର ଦାସୀ ହେଉ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ। ୧୧ କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ; ୧୨ କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋ’ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା। ୧୩ ମୋ’ ଦାସ କି ଦାସୀ ମୋ’ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ; ୧୪ ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି ? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି ? ୧୫ ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି ? ୧୬ ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ; ୧୭ ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ; ୧୮ (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋ’ ନିକଟରେ ବଢ଼ିଲା ଓ ମୋ’ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।) ୧୯ ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ, ୨୦ ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋ’ ମେଷଲୋମରେ ଉଷ୍ଣ ହୋଇ ନ ଥାଏ; ୨୧ ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ; ୨୨ ତେବେ ମୋ’ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋ’ ବାହୁ ଅସ୍ଥିରୁ ଭାଙ୍ଗିଯାଉ। ୨୩ କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋ’ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ। ୨୪ ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ; ୨୫ ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ; ୨୬ ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ; ୨୭ ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋ’ ମୁଖ ମୋ’ ହସ୍ତକୁ ଚୁମ୍ବନ କରିଥାଏ; ୨୮ ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି। ୨୯ ମୋ’ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ; ୩୦ (ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ;) ୩୧ ମୋ’ ତମ୍ବୁସ୍ଥିତ ଲୋକେ କି କହି ନ ଥା’ନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ ? ୩୨ ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି; ୩୩ ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ; ୩୪ ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ- ୩୫ ଆଃ, କେହି ଯଦି ମୋ’ କଥା ଶୁଣିବାକୁ ଥା’ନ୍ତା ! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ଵର ମୋତେ ଉତ୍ତର ଦେଉନ୍ତୁ;) ଓ ମୋ’ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି ! ୩୬ ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି। ୩୭ ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି। ୩୮ ଯଦି ମୋ’ ଭୂମି ମୋ’ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି; ୩୯ ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ; ୪୦ ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ। ଆୟୁବଙ୍କ କଥା ସମାପ୍ତ ହେଲା।

*୩୧:୧୦ ଅନ୍ୟର ଚକି ପେଷୁ ଅର୍ଥାତ୍ ଅନ୍ୟର ଦାସୀ ହେଉ