୩୮
ଆୟୁବଙ୍କୁ ପରମେଶ୍ୱରଙ୍କ ଉତ୍ତର
୧ ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ, ୨ “ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି ? ୩ ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ। ୪ ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ। ୫ ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା ? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା ? ୬ କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା ? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ ୭ ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା ? ୮ ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ ୯ ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ, ୧୦ ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ, ୧୧ ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା ? ୧୨ ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ; ୧୩ ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ ? ୧୪ ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ; ୧୫ ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ। ୧୬ ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ ? ୧୭ ତୁମ୍ଭ ନିକଟରେ କି ମୃତ୍ୟୁୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି ? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ ? ୧୮ ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ ? ଏସବୁ ଯଦି ଜାଣ, ପ୍ରକାଶ କର। ୧୯ ଦୀପ୍ତିର ବାସସ୍ଥାନକୁ ପଥ କାହିଁ ? ଓ ଅନ୍ଧକାରର ସ୍ଥାନ କେଉଁଠାରେ ? ୨୦ ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର ? ଓ ତହିଁର ଗୃହ-ପଥ କି ଚିହ୍ନିପାର ? ୨୧ ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ ! ୨୨ ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ, ୨୩ ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ ? ୨୪ କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ ? ୨୫ ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି ୨୬ କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ, ୨୭ ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି ? ୨୮ ବୃଷ୍ଟିର କି ପିତା ଅଛି ? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି ? ୨୯ କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି ? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି ? ୩୦ ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ। ୩୧ ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର ? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର ? ୩୨ ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର ? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର ? ୩୩ ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର ? ୩୪ ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର ? ୩୫ ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ଆମ୍ଭେମାନେ ଏଠାରେ ଅଛୁ, ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର ? ୩୬ କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି ? ଅବା ମନକୁ କିଏ ବୁଦ୍ଧି ଦେଇଅଛି ? ୩୭ କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ ? ୩୮ ଧୂଳୀ ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇପାରେ ? ୩୯ ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ ୪୦ ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର ? ୪୧ ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ ?