The Book of Prophet
Joel
ଯୋୟେଲ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ
୧ ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
ଶସ୍ୟ ହାନି ସକାଶୁ ଦେଶବାସୀଙ୍କ ବିଳାପ
୨ ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ,
ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର।
ତୁମ୍ଭମାନଙ୍କ ସମୟରେ କିଅବା
ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି ?
୩ ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ
ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ,
ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।
୪ ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି
ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି
ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।
୫ ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର,
ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର;
କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।
୬ ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି,
ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ
ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ।
୭ ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି
ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି;
ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି;
ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।
୮ ଯୌବନକାଳୀନ ସ୍ୱାମୀ ଶୋକରେ
ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।
୯ ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ
ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି;
ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
୧୦ କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି;
କାରଣ ଶସ୍ୟ ଉଜାଡ଼ ହୋଇଅଛି,
ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।
୧୧ ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ,
ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ,
ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର;
କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।
୧୨ ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରି ବୃକ୍ଷ ମ୍ଳାନ ହେଉଅଛି;
ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ,
ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି;
କାରଣ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।
ଅନୁତାପ ନିମନ୍ତେ ଆହ୍ୱାନ
୧୩ ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର;
ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର;
ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ,
ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର;
କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ
ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।
୧୪ ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର,
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ
ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି
ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
୧୫ ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ,
ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।
୧୬ ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ
ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ ?
୧୭ ବିହନସବୁ ଟେଳା ତଳେ ପଚି ଯାଉଅଛି;
ଗୋଲାସବୁ ଧ୍ୱଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି;
କାରଣ ଶସ୍ୟ ଶୁଷ୍କ ହୋଇଅଛି।
୧୮ ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି !
ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି;
ମେଷପଲ ଦଣ୍ଡ ପାଉଅଛନ୍ତି।
୧୯ ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି;
କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି
ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି।
୨୦ ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି;
ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି
ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି।