୧୦୫
ସଦାପ୍ରଭୁ ଓ ତାହାଙ୍କ ମନୋନୀତ ଜାତି
୧ ସଦାପ୍ରଭୁଙ୍କର ଧନ୍ୟବାଦ କର,
ତାହାଙ୍କ ନାମରେ ପ୍ରାର୍ଥନା କର,
ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
୨ ତାହାଙ୍କ ଉଦ୍ଦେଶ୍ୟରେ ଗାନ କର,
ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର;
ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।
୩ ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର;
ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
୪ ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର;
ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
୫ ହେ ତାହାଙ୍କ ଦାସ ଅବ୍ରହାମର ବଂଶ,
ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
୬ ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ
ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
୭ ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି;
ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।
୮ ସେ ଆପଣା ନିୟମ, ଅର୍ଥାତ୍‍,
ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,
୯ ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ,
ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
୧୦ ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ
ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
୧୧ ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ
ତୁମ୍ଭକୁ କିଣାନ ଦେଶ ଦେବା।
୧୨ ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ
ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।
୧୩ ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ,
ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।
୧୪ ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ;
ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
୧୫ “ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ
ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”
୧୬ ଏଥିଉତ୍ତାରେ ସେ ଦେଶରେ* ଦେଶରେ ମିସର ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ;
ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।
୧୭ ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ;
ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
୧୮ ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ;
ସେ ଲୌହ ଶୃଙ୍ଖଳରେ ରଖାଗଲା;
୧୯ ଶେଷରେ ତାହାର ବଚନ ସଫଳ ହେଲା;
ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।
୨୦ ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା;
ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
୨୧ ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ
ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
୨୨ ତାହାକୁ ଆପଣା ଗୃହର ପ୍ରଭୁ ଓ
ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।
୨୩ ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା
ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।
୨୪ ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ
ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।
୨୫ ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ
ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।
୨୬ ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା
ମନୋନୀତ ହାରୋଣଙ୍କୁ ପଠାଇଲେ।
୨୭ ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ
ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।
୨୮ ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ;
ଆଉ, ସେମାନେ ସେମାନେ ମିସରୀୟମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
୨୯ ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ
ମାଛସବୁ ମାରି ପକାଇଲେ।
୩୦ ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର
ବେଙ୍ଗରେ ପରିପୂର୍ଣ୍ଣ ହେଲା।
୩୧ ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ
ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।
୩୨ ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ
ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
୩୩ ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ
ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
୩୪ ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ
ପତଙ୍ଗ ଉପସ୍ଥିତ ହେଲେ;
୩୫ ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ
ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।
୩୬ ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ,
ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
୩୭ ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ
ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
୩୮ ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା;
କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।
୩୯ ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ
ଓ ରାତ୍ରି ରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
୪୦ ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ
ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
୪୧ ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା;
ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
୪୨ କାରଣ ସେ ଆପଣା ପବିତ୍ର ବାକ୍ୟ ଓ
ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ।
୪୩ ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ
ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
୪୪ ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ
ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
୪୫ ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ
ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ;
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

*୧୦୫:୧୬ ଦେଶରେ ମିସର ଦେଶରେ

୧୦୫:୨୮ ସେମାନେ ମିସରୀୟମାନେ