୧୪୪
ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି
ଦାଉଦଙ୍କର ଗୀତ।
 
୧ ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ,
ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି
ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
୨ ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,
ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା,
ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି;
ସେ ଗୋଷ୍ଠୀସମୂହକୁ* ଗୋଷ୍ଠୀସମୂହକୁ ମୋ’ ଲୋକମାନଙ୍କୁ ମୋ’ ପଦତଳେ ବଶୀଭୂତ କରନ୍ତି।
୩ ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ?
ସେ ସେ ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ?
୪ ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ;
ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
୫ ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ;
ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
୬ ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର;
ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।
୭ ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ;
ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର;
ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
୮ ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,
ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
୯ ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି;
ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
୧୦ ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି;
ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।
୧୧ ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ,
ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ,
ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
୧୨ ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ
ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
୧୩ ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ;
ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
୧୪ ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ;
କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି,
ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
୧୫ ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ;
ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ !

*୧୪୪:୨ ଗୋଷ୍ଠୀସମୂହକୁ ମୋ’ ଲୋକମାନଙ୍କୁ

୧୪୪:୩ ସେ ମନୁଷ୍ୟ-ସନ୍ତାନ