୧୩
ପ୍ରଥମ ପଶୁ
୧ ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ । ୨ ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା । ୩ ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ, ୪ ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ ? ୫ ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା । ୬ ସେଥିରେ ସେଇ ପଶୁ ମୁଖ ଫିଟାଇ ଈଶ୍ୱରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା । ୭ ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା । ୮ ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ । ୯ ଯାହାର କର୍ଣ୍ଣ ଅଛି, ସେ ଶୁଣୁ । ୧୦ କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।
ଦ୍ୱିତୀୟ ପଶୁ
୧୧ ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା । ୧୨ ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ । ୧୩ ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ । ୧୪ ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ । ୧୫ ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା । ୧୬ ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, ୧୭ ପୁଣି, ସେହି ଚିହ୍ନ, ଅର୍ଥାତ୍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ । ୧୮ ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି) ।