୩୧
ଲମୂୟେଲ ରାଜାର କଥା
୧ ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି। ୨ ହେ ମୋହର ପୁତ୍ର, ହେ ମୋ’ ଗର୍ଭର ପୁତ୍ର, ହେ ମୋ’ ମାନତର ପୁତ୍ର, କଅଣ କହିବି ? ୩ ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ। ୪ ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ। ୫ ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ। ୬ ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ। ୭ ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ। ୮ ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ। ୯ ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ
୧୦ ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ। ୧୧ ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ। ୧୨ ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ। ୧୩ ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ। ୧୪ ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ। ୧୫ ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। ୧୬ ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ। ୧୭ ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ। ୧୮ ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ। ୧୯ ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ। ୨୦ ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ। ୨୧ ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। ୨୨ ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ। ୨୩ ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ। ୨୪ ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ। ୨୫ ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ। ୨୬ ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ। ୨୭ ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ। ୨୮ ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ; ୨୯ ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ। ୩୦ ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ। ୩୧ ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।