୪୫
ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ।
୧ ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି;
ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ;
ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
୨ ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର;
ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି;
ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ
କରିଅଛନ୍ତି।
୩ ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ,
ଆପଣା ମହିମା ଓ ପ୍ରଭାବ ବାନ୍ଧ।
୪ ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା
ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ;
ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ
ଶିଖାଇବ।
୫ ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି;
ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
୬ ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ;
ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
୭ ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ;
ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର
ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ
ଅଭିଷିକ୍ତ କରିଅଛନ୍ତି।
୮ ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ
ସୁବାସମୟ;
ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ
ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
୯ ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ
ଅଛନ୍ତି;
ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ
ଉଭା ହୁଅନ୍ତି।
୧୦ ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର;
ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
୧୧ ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ* ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ
କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
୧୨ ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ
ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ
କରିବେ।
୧୩ ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ
ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
୧୪ ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ
ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ
ନିକଟକୁ ଅଣାଯିବେ।
୧୫ ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ;
ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
୧୬ ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ,
ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି
କରିବ।
୧୭ ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ
କରାଇବି;
ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା
କରିବେ।

*୪୫:୧୧ ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ