୬୨
ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ।
୧ ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;
ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
୨ କେବଳ ସେ ମୋହର ଶୈଳ ଓ ପରିତ୍ରାଣ;
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
୩ ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ
ଜଣେ ମନୁଷ୍ୟକୁ ବଧ କରିବା ପାଇଁ
ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?
୪ ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି;
ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ;
ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]
୫ ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;
କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
୬ କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ;
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
୭ ମୋହର ପରିତ୍ରାଣ ଓ ମୋହର ଗୌରବ
ପରମେଶ୍ୱରଙ୍କଠାରେ ଅଛି;
ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
୮ ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;
ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
୯ ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା;
ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
୧୦ ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ;
ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
୧୧ ପରମେଶ୍ୱର ଥରେ କହିଅଛନ୍ତି,
ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ,
ପରାକ୍ରମ ପରମେଶ୍ୱରଙ୍କର ଅଟଇ।
୧୨ ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ;
କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।