୬୩
ପରମେଶ୍ୱରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା
ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ।
 
୧ ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର;
ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି;
ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ
ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା
କରେ।
୨ ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ
ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
୩ କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;
ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
୪ ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି;
ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
୫ ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ
ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
୬ ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ
ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
୭ କାରଣ ତୁମ୍ଭେ ମୋହର ସହାୟ ହୋଇଅଛ,
ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
୮ ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ;
ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
୯ ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି,
ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
୧୦ ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ;
ସେମାନେ ଶୃଗାଳର ଖାଦ୍ୟ ହେବେ।
୧୧ ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ;
ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ;
କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।