୧୧୮
ବିଜୟ ପାଇଁ ଧନ୍ୟବାଦ ପ୍ରାର୍ଥନା
୧ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ;
ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
୨ ଇସ୍ରାଏଲ ଏବେ କହନ୍ତୁ ଯେ,
“ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”
୩ ହାରୋଣ-ବଂଶ ଏବେ କହନ୍ତୁ ଯେ,
“ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”
୪ ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ,
“ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”
୫ ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି;
ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
୬ ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ;
ମନୁଷ୍ୟ ମୋହର କଅଣ କରି ପାରେ ?
୭ ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ;
ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।
୮ ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
୯ ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
୧୦ ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ;
ସଦାପ୍ରଭୁଙ୍କ ନାମରେ* ନାମରେ ଅର୍ଥାତ୍ ବଳରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
୧୧ ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ;
ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
୧୨ ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ;
ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି;
ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
୧୩ ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍‍କା ଦେଲ;
ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
୧୪ ସଦାପ୍ରଭୁ ମୋହର ବଳ ଓ ଗାନ;
ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
୧୫ ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ;
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
୧୬ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ;
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
୧୭ ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି
ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
୧୮ ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି;
ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
୧୯ ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି;
ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
୨୦ ଏହି ସଦାପ୍ରଭୁଙ୍କ ଦ୍ୱାର;
ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।
୨୧ ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ
ଓ ମୋହର ପରିତ୍ରାଣ ହୋଇଅଛି।
୨୨ ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ,
ତାହା କୋଣର ପ୍ରଧାନ ପଥର ହୋଇଅଛି।
୨୩ ଏହା ସଦାପ୍ରଭୁଙ୍କ କର୍ମ;
ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
୨୪ ଏହା ସଦାପ୍ରଭୁଙ୍କ କୃତ ଦିନ;
ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
୨୫ ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର;
ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
୨୬ ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ;
ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
୨୭ ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି;
ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
୨୮ ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି;
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
୨୯ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।

*୧୧୮:୧୦ ନାମରେ ଅର୍ଥାତ୍ ବଳରେ